Thu. Oct 15th, 2026

ଶବ୍ଦ ଓଡିଶା ବ୍ୟୁରୋ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ସ୍କୁଲ ରୂପାନ୍ତରଣ ଅଭିଯାନର ତୃତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଏହି ପର୍ଯ୍ୟାୟର ପ୍ରଥମ ଦିନରେ ଆଜି ୪ଟି ଜିଲ୍ଲାର ୩୫୭ଟି ରୂପାନ୍ତରିତ ସ୍କୁଲକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି। ଏଥିରେ ଗଞ୍ଜାମ ଜିଲ୍ଲାର ୧୦୬ଟି ହାଇସ୍କୁଲ ଥିବା ବେଳେ ଅନୁଗୋଳର ୮୭ଟି, କେନ୍ଦୁଝରର ୫୭ଟି ଓ ଜଗତସିଂହପୁରର ୧୦୭ଟି ହାଇସ୍କୁଲ ରହିଛି। ତୃତୀୟ ପର୍ଯ୍ୟାୟରେ ସମୁଦାୟ ୨୧୫୧ଟି ରୂପାନ୍ତରିତ ହାଇସ୍କୁଲ ଲୋକାର୍ପିତ ହେବ। ସୂଚନାଯୋଗ୍ୟ ଯେ ଗତ ଦୁଇଟି ପର୍ଯ୍ୟାୟରେ ରାଜ୍ୟରେ ୩୯୮୧ଟି ସ୍କୁଲ ରୂପାନ୍ତରିତ ହୋଇଛି। ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ।

ଏହି ଅବସରରେ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଯୋଡି ହୋଇଥିବା ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ, ଛାତ୍ରଛାତ୍ରୀମାନଙ୍କ ସଫଳତା ହେଉଛି ଓଡ଼ିଶାର ସଫଳତା। ୫-ଟି ସ୍କୁଲ ଗୁଡିକରେ ପିଲାମାନଙ୍କୁ ସବୁ ପ୍ରକାର ଆଧୁନିକ ସୁବିଧା ଦେବା ପାଇଁ ପ୍ରଚେଷ୍ଟା କରାଯାଇଛି। ପିଲାମାନେ ଏହାର ସୁଯୋଗ ନେଇ ନିଜ ପ୍ରତିଭାର ପରିଚୟ ପ୍ରଦାନ କରିପାରିଲେ, ସେମାନଙ୍କ ନିଜର ଓ ପରିବାରର ଗୌରବ ବୃଦ୍ଧି ହେବା ସହିତ ସାରା ଓଡ଼ିଶାର ଗୌରବ ବୃଦ୍ଧି ହେବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ପିଲାମାନେ ଯଦି ନିଜ ଜୀବନରେ ୫-ଟିର ଉପଯୋଗ କରିବେ, ତେବେ ସେମାନେ ଜୀବନର ସବୁ କ୍ଷେତ୍ରରେ ସଫଳ ହୋଇପାରିବେ। ଏହାକୁ ବ୍ୟାଖ୍ୟାନ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ବର୍ତ୍ତମାନ ଯୁଗ ହେଉଛି ଟେକ୍ନୋଲୋଜିର ଯୁଗ। ତେଣୁ ପିଲାମାନେ ନୂଆ ନୂଆ ଟେକ୍ନୋଲୋଜି ବିଷୟରେ ଜାଣିବାକୁ ଚେଷ୍ଟା କରିବା ଆବଶ୍ୟକ। ଦ୍ୱିତୀୟ ବିଷୟଟି ହେଉଛି ଟିମ୍‌ୱାର୍କ। ପିଲାମାନେ ମିଳିମିଶି କାମ କଲେ, ସଫଳତାର ସମ୍ଭାବନା ବଢିବ। କ୍ରୀଡ଼ା କ୍ଷେତ୍ରରେ ଟିମ୍‌ୱାର୍କ ଅତି ଜରୁରୀ ବୋଲି ସେ କହିଥିଲେ। ସେହିପରି ଜୀବନରେ ସାଧୁତା (Transparency ) ହେଉଛି ଏକ ଜରୁରୀ ଆବଶ୍ୟକତା। ସାଧୁତା ଦ୍ୱାରା ମଣିଷର ବିଶ୍ୱସନୀୟତା ବୃଦ୍ଧି ପାଏ। ସମୟରେ ଗୁରୁତ୍ୱ ସଂପର୍କରେ ସମସ୍ତେ ଜାଣିଛନ୍ତି। ତେଣୁ ଏ ସବୁ ସହିତ ସମୟର ଉପଯୋଗ ଠିକ ଭାବରେ କରିପାରିଲେ, ପିଲାମାନେ ନିଶ୍ଚୟ ସବୁକ୍ଷେତ୍ରରେ ଆଗରେ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave a Reply

Your email address will not be published. Required fields are marked *