Wed. Oct 14th, 2026

ଚଳିତ ବର୍ଷ ରଥଯାତ୍ରା ଜୁନ ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଦେବସ୍ନାନ ପୂର୍ଣ୍ଣିମା ଜୁନ ୪ ତାରିଖରେ ଅନୁଷ୍ଠିତ ହେବ। ସ୍ନାନଯାତ୍ରା ଓ ରଥଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଅଧ୍ୟକ୍ଷତା କରି ଜିଲ୍ଲାପାଳ ସମର୍ଥ ବର୍ମା ରଥଯାତ୍ରାର ପ୍ରଥମ ସମନ୍ୱୟ ବୈଠକ ଆରଡିସିଙ୍କ ଅଧ୍ୟକ୍ଷତାରେ ସରି ଯାଇଥିବାରୁ ତାହାର ନିର୍ଯ୍ୟାସ ଆଧାରରେ ସମସ୍ତ ବିଭାଗ ସେମାନଙ୍କ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ପରାମର୍ଶ ଦେଇଥିଲେ। ବିଗତ ବର୍ଷ ପରି ସମ୍ମିଳିତ ଉଦ୍ୟମରେ ଚଳିତ ରଥଯାତ୍ରାକୁ ସଫଳ କରିବାକୁ ସେ ଆହ୍ଵାନ ଦେଇଥିଲେ। ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ, ପାର୍କିଂ ସ୍ଥଳ, ଶାନ୍ତି ଶୃଙ୍ଖଳା ରକ୍ଷା, ସୂଚନା ଓ ପ୍ରସାରଣ ବ୍ୟବସ୍ଥା, ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ, ଅଗ୍ନି ନିର୍ବାପକ ବ୍ୟବସ୍ଥା ଇତ୍ୟାଦି ସମ୍ବନ୍ଧରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ। ଅସୁରକ୍ଷିତ ବିଲ୍ଡିଂର ଚିହ୍ନଟ, ସମୀକ୍ଷା ଓ କାର୍ଯ୍ୟାନୁଷ୍ଠାନ ଇତ୍ୟାଦିକୁ ଯୁଗ୍ମ ତଦନ୍ତ ମାଧ୍ୟମରେ ତ୍ୱରାନ୍ୱିତ କରାଯାଇଛି ବୋଲି ଉପଜିଲ୍ଲାପାଳ ଭବତାରଣ ସାହୁ ସୂଚନା ଦେଇଥିଲେ। ପ୍ରାରମ୍ଭରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ ସମସ୍ତଙ୍କୁ ସ୍ୱାଗତ ସହ କାର୍ଯ୍ୟସୂଚୀ ଅନୁସାରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ବ କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ଡ଼ଃ ଶରତ ଚନ୍ଦ୍ର ମହାପାତ୍ର, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ମହାପାତ୍ର, ଅତିରିକ୍ତ ଏସପି ମିହିର କୁମାର ପଣ୍ଡା, ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡା ସୁଜାତା ମିଶ୍ର, ପୌର ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ୱାଇଁ, ପୂର୍ତ୍ତ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ଇଂ ଅଜିତ ପ୍ରସାଦ ମହାପାତ୍ର, ଡେପୁଟି କଲେକ୍ଟର ରାକେଶ କୁମାର ପଣ୍ଡା, ଜିଲ୍ଲା ସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

Leave a Reply

Your email address will not be published. Required fields are marked *